ଏହି ପୃଷ୍ଠାଟି ବୈଧ ହୋଇସାରିଛି
ଗଳ୍ପ ସ୍ୱଳ୍ପ

କାନ୍ଦିଲେ – “ହାୟ ! ମୁଁ କ’ଣ କଲି ! ସ୍ୱାମୀଦେବତାଙ୍କୁ ଛାଞ୍ଚୁଣିରେ ବାଡ଼େଇଲି ! ହାୟ ! ହାୟ ! ମୋ ଦଶା କ’ଣ ହେବ ?” ଆଉ ଥରେ ଡାକିଲେ – "ଠାକୁର ଦେବତାମାନେ ! ମୋ ଦୋଷ କ୍ଷମା କର ।” ଝର ଝର ହୋଇ ଦୁଇ ଆଖିରୁ ଦୁଇ ଧାର ବହୁଛି । ଗିନାଏ ରାଶି ମାଲପା ଆଣି ଫୁଲା ଜାଗାମାନଙ୍କରେ ଧୀରେ ଧୀରେ ଘଷି ଦେଲେ, ଆଉ ଗିନାଏ ମାଲପା ଆଣି ଦେହଯାକ ଲଗାଇ ଦେଲେ । ଦିନ ଦୁଇ ଘଡ଼ି ସରିକି ବାବୁଙ୍କ ନିଦ ଭାଙ୍ଗିଲା । ଟିକିଏ ଅନାଇ ଦେଲେ, ସାନ୍ତାଣୀ ପାଖରେ ବସିଛନ୍ତି । ମନରେ ଭାରି ଗୋଟାଏ ଡର ପଶିଗଲା, କେଜାଣେ ଆଉ ଥରେ ବା ଛାଞ୍ଚୁଣିରେ ବାଡ଼େଇ ପକେଇବେ । ଆଉ ନିଦ ତ ନାହିଁ, ଆଖି ବୁଜୁଜି ଘାଲେଇ ପଡ଼ିଥାନ୍ତି । ଆଉ ଥରେ ଧୀରେ ଧୀରେ ଅନାଇ ଦେଖିଲେ, ସାନ୍ତାଣୀଙ୍କର ରାଗର ଚିହ୍ନ ନାହିଁ । ଦୁଇ ଆଖିରୁ ଦୁଇଟା ଧାରା ବହି ଯାଉଛି, ଧୀରେ ଧୀରେ ଗୋଡ଼ରେ ତେଲ ଘଷି ଦେଉଛନ୍ତି । ସାନ୍ତାଣୀ ବୁଝି ପାରିଲେ, ବାବୁଙ୍କର ନିଦ ଭାଙ୍ଗିଗଲାଣି । ଚାରି ମାଠିଆ ଜଳ ଅଣାଇ ଶୋଇବା ଜାଗାରେ ଥୋଇଲେ – ବାବୁଙ୍କ ହାତ ଧରି ଉଠାଇ ବସାଇଲେ । ମୁଣ୍ଡରେ ଦେହରେ ଜଳ ଢାଳି ଭଲ କରି ସ୍ନାନଟା କରାଇ ଦେଲେ । ବାବୁଙ୍କର ନିଶାର ଖେଉରିରେ ଦେହଟା ଜଳୁଥିଲା, ଜଳ ପଡ଼ି ବଡ଼ ଆରାମ ଲାଗୁଥାଏ । ଆଖି ବୁଜି ଠାକୁରଟି ପରି ଧୀର ହୋଇ ବସିଥାନ୍ତି । ସାନ୍ତାଣୀ ଶୁଖିଲା ଲୁଗା ପିନ୍ଧାଇ ଦେଲେ । ରୋଷେୟା ଭାତ ପରଷି ଗଲା । ସାନ୍ତାଣୀ ବଳେଇ ବଳେଇ ଦିଟା ଭୋଜନ କରାଇଲେ; ତହିଁ ବାଦେ ଭଲ କରି ଶେଯଟା ପାରି ବାବୁଙ୍କୁ ଶୁଆଇ ଦେଲେ । କାଲିଠାରୁ ସାନ୍ତାଣୀଙ୍କର ଓପାସ, ଆଜି ବି ଜଳ ସ୍ପର୍ଶ ନାହିଁ । ସ୍ୱାମୀଙ୍କ ଗୋଡ଼ ତଳେ ବସି ହାତ ବୁଲାଉଛନ୍ତି । ଦିନଯାକ ଆଖିରୁ ପାଣି ଶୁଖିବାକୁ ନାହିଁ । ମନ ମଧ୍ୟରେ ଠାକୁର ଦେବତାଙ୍କୁ ଡାକୁଛନ୍ତି – “ହେ ପ୍ରଭୁ, ମୋ’ ଦୋଷ କ୍ଷମା କର, ମୋ ସ୍ୱାମୀଙ୍କୁ ସୁବୁଦ୍ଧି ଦିଅ ।” ଦିନ ଯାକ ସ୍ୱାମୀ ସ୍ତ୍ରୀ କାହାରି ମୁହଁରୁ କଥା ବାହାରି ନାହିଁ, ଘରେ ଚାକର ଚାକରାଣୀ ମଧ୍ୟ ସମସ୍ତେ ତୁନି ତାନି । ସ୍ୱାମୀ ସ୍ତ୍ରୀ କେହି କାହାରି ମୁହଁକୁ ଲାଜରେ ଭରସି ଚାହିଁ ପାରୁ ନାହାନ୍ତି । ପରସ୍ପର ଦୁହେଁ ଆପଣା ଆପଣାକୁ ଅପରାଧୀ ମଣି ମନସ୍ତୁଷ୍ଟି ପାଇଁ ସାଧ୍ୟାନୁସାରେ ଚେଷ୍ଟା କରୁଥାନ୍ତି । ବାବୁଙ୍କ ମନ ମଧ୍ୟରେ ପ୍ରତିଜ୍ଞା, ଆଜି ଠାରୁ ସବୁ ନିଶା ଗୋରକ୍ତ, ବିଷ୍ଠା ।

ଦୁଇ ମାସ ଗଲା, ଚାରି ମାସ ଗଲା, ଛ ମାସ ବି ଗଲାଣି । ସାଇ ପଡ଼ିଶା ଜ୍ଞାତି ବନ୍ଧୁ ବାବୁମାନେ ଦେଖିଲେ, ଚନ୍ଦ୍ରମଣି ବାବୁଙ୍କ ଘରେ ରୋଜ ସଞ୍ଜ ସକାଳ ଯେ ଦୁଇ ଜଣଙ୍କ ମଧ୍ୟରେ ଭଟ ଭଟ ଲାଗିଥାଏ, କିଛି ଶୁଣାଶୁଣି ନାହିଁ । ଦୁଇଜଣ ଏକ ଜାଗାରେ ବସି ହସି ଖୁସି କଥାବାର୍ତ୍ତା କରନ୍ତି, କିତାପ ପଢ଼ନ୍ତି । ଉତ୍କଳ ସାହିତ୍ୟ, ମୁକୁର, ଦୀପିକା ଖବରକାଗଜ ପଢ଼ନ୍ତି । ବାବୁ ହେଣ୍ଡ ନୋଟରେ ଢେର ଟଙ୍କା ଦେଣା କରି ପକାଇଥିଲେ, ବର୍ଷଟା ଭିତରେ ଅଧାଅଧି ଶୁଝି ଗଲାଣି । ବାବୁ ଘରୁ ବାହାରନ୍ତି ନାହିଁ । କେଉଁ ଜାଗାରୁ ନାଟ ତାମସାର ନିମନ୍ତ୍ରଣ ଆସିଲେ, ସାନ୍ତାଣୀ ହେଣ୍ଟାରିଲେ, ପେଲାପେଲି କଲେ ବି ବାହାରୁ ନାହାନ୍ତି । ଦିନେ ଦିନେ ସଞ୍ଜବେଳେ ଦୁଇ ଜଣ ବଗିଟିରେ ବସି ସହରଯାକ ବୁଲି ଆସନ୍ତି ।

ସହର ଲୋକେ, ସାଙ୍ଗସୁଙ୍ଗା ବାବୁମାନେ ଦେଖି ଶୁଣି ଆଶ୍ଚର୍ଯ୍ୟ ! ଆରେ କଥା କ’ଣ ? ବାବୁଙ୍କ ବାପେ ଜମିଦାର ଶ୍ୟାମ ପଟ୍ଟନାୟକେ ମାଷ୍ଟର ରଖି ବାବୁଙ୍କୁ ପଢ଼ାଇଲେ । ସ୍କୁଲରେ ବି ପଢୁଥା’ନ୍ତି । ଏତେ ପଢ଼ିଲେ କ’ଣ ହେଲା ? ବଦ୍ ସଙ୍ଗରେ ପଡ଼ି ଭାରି ନିଶାଖୋର ହୋଇଗଲେ । କେବଳ ଦିନ ରାତି ବଦ୍‌ଖିଆଲି, ଚରିତ୍ର ଏକାବେଳକେ ଗଲା, ରାତିଯାକ ମନ୍ଦ ଯାଗାମାନଙ୍କରେ ବୁଲାବୁଲି, ଯେତେ ମତୁଆଲା ମନ୍ଦଲୋକ ସାଙ୍ଗ । ଭଲ ଲୋକେ ପାଞ୍ଚଜଣ କହିଲେ, ‘ପୁଅ ବିଭା ହେଲେ ଚରିତ୍ର ବଦଳି ଯିବ ।’ ରାମକୃଷ୍ଣ ମହାନ୍ତିଙ୍କର